ସାହିତ୍ୟ

ଅଭିଶପ୍ତ ଗନ୍ଧର୍ବର କଥାଶିଳ୍ପୀ ମହାପାତ୍ର ନିଳମଣି ସାହୁ; କେତୋଟି କଥା

Reading Time: 1 minutes

DCF 1.0

କେଦାର ମିଶ୍ର

“ରେ ମୂର୍ଖ କଳା କାଉ, ବେଶୀ ଗୁଡାଏ ରାଊ ରାଊ ହୁଅନାହିଁ “

ମନେ ପଡୁଛି କି କେଉଁଠି ଏ ଧାଡି ଟି ପଢିଛନ୍ତି? ପିଲାଦିନର ସାହିତ୍ୟ ବହିରେ ଗୋଟେ ଚମତ୍କାର ଗପଥିଲା, “ବିହଂଗ ବିପ୍ଲବ” ।

ଗୋଟେ କୋଇଲି ଓ ମାଂକଡ ଭିତରେ ବିବାଦର କାହାଣୀ। ଗୋଟେ ଲାଂଚୁଆ ଭାଲୁ ରାଜା ଓ ତାର ଲୋଭୀ ପାରିଷଦମାନନ୍କର କାହାଣୀ ।

ସେ ଗପରେ କୁନି କୁନି ଚଢେଇ ମାନେ ଗୋଟେ ବଡ ବିପ୍ଳବର ସୂତ୍ରଧର। ଆଉ ଏଇ ବିପ୍ଲବୀ ଗପର ଲେଖକ ଜଣକ ଜୀବନ ସାରା ନିଜକୁ କେବେ ବିପ୍ଲବୀ ବୋଲି କହିନାହାନ୍ତି, ହେଲେ ତାଂକ ଜୀବନ ଗୋଟେ ରସସିକ୍ତ କବିତାର ବିପ୍ଲବ। ସେ ରସିକ ଓ ବିପ୍ଲବୀ ଲେଖକ ଜଣକ ଆଜି ଚିରଦିନ ଲାଗି ଆମଠୁ ବିଦାୟ ନେଇ ଯାଇଛନ୍ତି ।

୯୦ ବର୍ଷ ବୟସରେ ଆଜି (୨୫, ଜୁନ୍,୨୦୧୬) ଓଡିଶାର ପ୍ରଖ୍ୟାତ କଥାକାର, ବ୍ୟଂଗଶିଳ୍ପୀ, ସମ୍ପାଦକ, ସଂଗଠକ ଓ ଚିନ୍ତାନାୟକ ମହାପାତ୍ର ନିଳମଣି ସାହୁ ପରଲୋକ ଗମନ କରିଛନ୍ତି। ମହାପାତ୍ର ନୀଳମଣି ସାହୁ, ଓଡିଆ ସାହିତ୍ୟରେ ଗୋଟେ ଯୁଗର ନାୟକ।

ଲେଖକ ଭାବରେ ସେ ଯେତିକି ବିଖ୍ୟାତ, ମଣିଷ ଭାବରେ ସେତିକି ପ୍ରେମାପ୍ଲୁତ।ତାଂକ ଜୀବନ ରସ ଓ ରାସ ର ଏକ ଅପୂର୍ବ ସମନ୍ବୟ ।

DCF 1.0

ପ୍ରେମ, ବନ୍ଧୁତା,ଭକ୍ତି ଓ ସହୃଦୟତାର ସେ ଥିଲେ ମୂର୍ତିମନ୍ତ ପ୍ରତୀକ। ପଚାଶରୁ ଅଧିକ ବହି ଲେଖିଥିବା ଓ ଓଡିଶାର ଜନଜୀବନକୁ ବହୁ ଭାବରେ ପ୍ରଭାବିତ କରିଥିବା ଏହି ମହାନ ଲେଖକଂକ ସମ୍ପର୍କରେ କେତୋଟି ବିଶେଷ କଥା-

୧. କଟକ ଜିଲ୍ଲାର ନିଆଳି ଗାଁ ରେ ୨୨, ଡିସେମ୍ବର ୧୯୨୬ ରେ ମହାପାତ୍ର ନିଳମଣି ସାହୁ ଜନ୍ମଗ୍ରହଣ କରିଥିଲେ। ବାପା ମହେଶ୍ବର ମହାପାତ୍ର ଓ ମାଁ ରଂଗଲତା ଦେବୀ ।

ଗାଁ, ପିଲାଦିନ ଓ ପରିବାରକୁ ନେଇ ମହାପାତ୍ର ନିଳମଣି ସାହୁ ଅନେକ କଥା କହିଛନ୍ତି ଓ ଲେଖିଛନ୍ତି। ସମୟ ଓ ସ୍ମୃତି ସହ ତାଂକ ସୃଜନଶୀଳତା ର ସମ୍ପର୍କ ବେଶ୍ ଗହନ ।

୨. ରେଭେନଶା କଲେଜରୁ ଓଡିଆ ଭାଷା ସାହିତ୍ୟରେ ଏମଏ କଲାପରେ ସେ ଭାଷା ସାହିତ୍ୟର ଅଧ୍ୟାପକ ଭାବରେ ଜୀବନ ସାରା କାମ କରିଛନ୍ତି।

ସେ ଥିଲେ ଅଧ୍ୟାପକ ଭାବରେ ସବୁ ଛାତ୍ରଂକର ବନ୍ଧୁ ଓ ଦିଗଦର୍ଶକ ।

କୁହାଯାଏ, ନିଳମଣି ସାର୍ ସବୁ ଛାତ୍ର ଓ ପ୍ରେମିକଂକର ବିଶ୍ବାସଯୋଗ୍ୟ ବାନ୍ଧବ। ରାଜ୍ୟର ବହୁ କଲେଜରେ ସେ ପାଠ ପଢେଇଛନ୍ତି, ଆଉ ସବୁଠି ତାଂକର ଅନୁଗାମୀ ଛାତ୍ର ଛାତ୍ରୀ ତାଂକୁ ଘେରି ରହିଥାନ୍ତି ।

ଲେଖକ ଭାବରେ ତାଂକର ସାର୍ଥକତା ହେଉଛି ତାଂକର ମଣିଷପଣିଆଁ । ସେ ଯେତେ ବଡ ଲେଖକ ଥିଲେ, ତାଠୁ ଢେର୍ ବିଶାଳ ହୃଦୟର ମଣିଷ ମଧ୍ୟ ଥିଲେ ।

DCF 1.0

୩. ଓଡିଆ କଥା ସାହିତ୍ୟରେ ଫକୀରମୋହନ ଓ ଗୋପୀନାଥ ମହାନ୍ତି ପରବର୍ତୀ ପିଢିର ସେ ଥିଲେ ନାୟକ ।

ସେ ତାଂକ ପ୍ରଜନ୍ମର ବଡଭାଇ। ଶାନ୍ତନୁ ଆଚାର୍ୟ, ମନୋଜ ଦାସ,ଚନ୍ଦ୍ରଶେଖର ରଥ, ଅଖିଳ ମୋହନ ପ୍ରମୁଖଂକ ପାଇଁ ସେ ଥିଲେ ଅଗ୍ରଣୀ ।

ସେ କେବଳ ନିଜେ ଲେଖି ନାହାନ୍ତି, ତାଂକ ସମସାମୟିକ ଅନେକଂକୁ ଲେଖା ର ପାଠ ପଢେଇଛନ୍ତି।

୪. ତାଂକର ଦୁଇଟି ଉପନ୍ୟାସ- “ଧରା ଓ ଧାରା” (୧୯୬୧)ତଥା “ତାମସୀ ରାଧା”(୧୯୬୪) । ଓଡିଆ ଉପନ୍ୟାସ କ୍ଷେତ୍ରରେ ତାମସୀ ରାଧା ଏକ କ୍ଲାସିକ୍ ।

ଗୋଟେ ଅସୁନ୍ଦରୀ ଗାଉଁଲି ବୋହୁର ଜୀବନ କାହାଣୀ ତାମସୀ ରାଧା।ନାରୀ ମନର ଗହନ ଓ ଗୋପନ ଭାବାବେଗକୁ ଅତି ଚମତ୍କାର ଭାବରେ ସେ ଫୁଟେଇ ପାରିଛନ୍ତି ।


୫. ଗାଳ୍ପିକ ଭାବରେ ତାଂକର ଅବଦାନ ଅତୁଳନୀୟ ।ତାଂକର “ଅଭିଶପ୍ତ ଗନ୍ଧର୍ବ” ଓଡିଆ ଗପର ଅନ୍ୟତମ ଶ୍ରେଷ୍ଠ ସୃଷ୍ଟି। ୧୯୫୨ ରେ ପ୍ରକାଶିତ ହୁଏ ତାଂକର ପ୍ରଥମ ଗଳ୍ପ ସଂକଳନ “ପ୍ରେମ ଓ ତ୍ରିଭୁଜ” ।

ତାପରେ ମିଛବାଘ, ଶ୍ରୁନ୍ବନ୍ତୁ ସର୍ବେ ଅମୃତସ୍ୟ ପୁତ୍ରାଃ, ଗଂଜେଇ ଓ ଗବେଷଣା,ସୁମିତ୍ରାର ହସ, ବିଷ୍ଣୁମାୟା, କପୋତ ପକ୍ଷୀ ଗୁରୁ ମୋର,ଅନ୍ଧ ରାତିର ସୂର୍ୟ,ଆକାଶ ପାତାଳ, ଅଭିଶପ୍ତ ଗନ୍ଧର୍ବ, ରାନୁ ଅପା ଠାରୁ ପୁଷି ପର୍ଯନ୍ତ ଓ ଆହୁରି ଅନେକ।

ରସିକତା ଓ ବ୍ୟଂଗ ତାଂକ ଗପର ମର୍ମ ହୋଇଥିବାବେଳେ କରୁଣ ରସ ତାଂକ କଥାଶିଳ୍ପ ର ଆତ୍ମା ।

ସବୁଠୁ କରୁଣ କାହାଣୀକୁ ସବୁଠୁ ସରସ କରି କହିବାର କଳା ରେ ସେ ଥିଲେ ଧୁରନ୍ଧର ।


୬. ସୃଜନଶୀଳ ପ୍ରବନ୍ଧ,ରମ୍ୟ ରଚନା ଓ ଲଳିତ କଥନ କ୍ଷେତ୍ରରେ ତାଂକର ଭୂମିକା ଏକପ୍ରକାର ସାରଥି ର।

ଧ୍ବନି ପ୍ରତିଧ୍ବନୀ,ସ୍ବପ୍ନ ସ୍ବପ୍ନ ଅନେକ ସ୍ବପ୍ନ, ଦେବଦାସର୍ ଦୃଷ୍ଟିପାତ, ପ୍ରେମ ଭକ୍ତିର ମର୍ମ କଥା, ଉଦ୍ଧବ କେତେ ତୁ ପଚାରୁ,ଡହରାନନ୍ଦଂକ ପ୍ରବଚନମାଳା ଓ ଆହୁରି ଅନେକ ଲଘୁ ରଚନା ତଥା ମନନଶୀଳ ପ୍ରବନ୍ଧ ପୁସ୍ତକର ସେ ସ୍ରଷ୍ଟା ।

ଡହରାନନ୍ଦ ନାଁ ଟି ସହ ଏକ ଶକ୍ତିଶାଳୀ ରସ ରଚନା ର ପରମ୍ପରା ସେ ଆରମ୍ଭ କରିଥିଲେ।


୭. ଏହା ଛଡା ଅନୁବାଦ, ଶିଶୁ ସାହିତ୍ୟ ଓ କବିତା କ୍ଷେତ୍ରରେ ମଧ୍ୟ ତାଂକର ବହୁ ମୂଲ୍ୟ ଅବଦାନ ରହିଛି। ଶ୍ରୀ ଅରବିନ୍ଦ, ଶ୍ରୀ ମା ଓ ସ୍ବାମୀ ବିବେକାନନ୍ଦଂକ ଅନେକ ପୁସ୍ତକକୁ ସେ ଓଡିଆ ରେ ଅନୁବାଦ କରିଛନ୍ତି।

ଶ୍ରୀ ଅରବିନ୍ଦଂକ ମହାକାବ୍ୟ “ସାବିତ୍ରୀ” ର ଗଦ୍ୟାନୁବାଦ ସେ ଓଡିଆରେ କରିଥିଲେ।


୮. ସ୍ରଷ୍ଟା ଭାବରେ ତାଂକର ସୃଷ୍ଟି ର ପ୍ରାଚୁର୍ୟ ପ୍ରବଳ।ହେଲେ ତା’ ଛଡା ସମ୍ପାଦକ ଭାବରେ ସେ ଓଡିଶାର ପତ୍ରିକା ଜଗତରେ ଭୀଷ୍ମ ପିତାମହ ।

“ଝଂକାର” ପତ୍ରିକାର ସମ୍ପାଦକ ଭାବରେ ସେ ୧୯୬୫ ୧୯୬୯ ଯାଏଁ ଦାୟିତ୍ବ ନିର୍ବାହ କରିଥିଲେ ।କୁହାଯାଏ, ବହୁ ପ୍ରତିଷ୍ଠିତ ଲେଖକ ତାଂକରି ହାତ ଧରି ଉପରକୁ ଉଠିଛନ୍ତି।

ଏହା ଛଡା “ଉତ୍କଳ ପ୍ରସଂଗ” ଓ “Odisha Review” ର ସମ୍ପାଦକ ଭାବେ ତାଂକର ପ୍ରତିଷ୍ଠା ରହିଥିଲା। ଏକ ସରକାରୀ ପତ୍ରିକାକୁ ପୂର୍ନାଂଗ ସାଂସ୍କୃତିକ ପତ୍ରିକା କରିବାର ସାହସ ତାଂକ ପାଖରେ ଥିଲା ।


୯ . ୧୯୮୧ ରେ ମହାପାତ୍ର ନିଳମଣି ସାହୁନ୍କୁ ଓଡିଶା ସାହିତ୍ୟ ଏକାଡେମୀ , ୧୯୮୪ ରେ କେନ୍ଦ୍ର ସାହିତ୍ୟ ଏକାଡେମୀ, ୧୯୮୩ ରେ ଶାରଳା ପୁରଷ୍କାର, ୨୦୦୦ ରେ କୋଣାର୍କ ସମ୍ମାନ, ୨୦୦୬ ରେ ସାହିତ୍ୟ ଭାରତୀ ସମ୍ମାନ ତାଂକୁ ମିଳିଥିଲା।ତାଂକ ହାତରେ ଗଢା ହେଇଥିବା ବହୁ ଲେଖକ ଲେଖିକା ଜାତୀୟ ସ୍ବୀକୃତି ପାଇଛନ୍ତି, ହେଲେତାଂକ କଥା ସେମିତି ରାଜ୍ୟରେ ସୀମିତ ହୋଇ ରହିଗଲା ।


୧୦ ବହୁ ଅନୁଷ୍ଠାନ ଓ ପତ୍ରିକା କୁ ସେ ନିଜ ହାତରେ ତିଆରି କରିଛନ୍ତି। ସବୁଠି ଥାଇ କେଉଁଠି ନଥିବା ତାଂକର ପ୍ରବୃତ୍ତି । ଓଡିଶା ସାହିତ୍ୟ ଏକାଡେମୀର ସେ ଥିଲେ ସଭାପତି ।

ଗୋଏ ସମୟରେ ସେ ଇସ୍ତଫା ଦେଇ ଏକାଡେମୀରୁ ଚାଲି ଆସିଥିଲେ ।ସହଜ ଓ ବୌଦ୍ଧିକ ଜୀବନ ଗୋଟିଏ ବିନ୍ଦୁରେ ସମାହିତ ଯେଉଁଠି ହୁଏ ସେ ବିନ୍ଦୁର ନାମ ମହାପାତ୍ର ନିଳମଣି ସାହୁ । ସେ ବିନ୍ଦୁ ଆଜି ମହାସିଂଧୁରେ ତିରୋହିତ । କଥା ସାହିତ୍ୟର ଏଇ ରସିକ ପୁରୁଷ ଆମର ଚିର ନମସ୍ୟ ।

Most Popular

To Top